ହିତାଧିକାରୀଙ୍କୁ ମିଳିବ ୩ ମାସର ଆଗୁଆ ଚାଉଳ, ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ ହେବେ ବାଦ୍‌ ପଡିଥିବା ଶ୍ରମିକ

ଭୁବନେଶ୍ୱର(ରାଜ୍ୟକାହାଣୀ) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନରେ ସାଧାରଣ ବଣ୍ଟନ ବ୍ୟବସ୍ଥାର ସମୀକ୍ଷା କରି ହିତାଧିକାରୀଙ୍କୁ ତିନି ମାସର ଆଗୁଆ ଚାଉଳ ପ୍ରଦାନ କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ ନିର୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ପ୍ରତ୍ୟେକ ହିତାଧିକାରୀ ତିନି ମାସ (ଅକ୍ଟୋବରରୁ ଡିସେମ୍ବର) ପାଇଁ ୧୫ କିଲୋ ଲେଖାଏଁ ଚାଉଳ ପାଇବେ। ସୂଚନା ଯୋଗ୍ୟ ଯେ ଏହି ପ୍ରକ୍ରିୟା ଅକ୍ଟୋବର ପହିଲା ଠାରୁ ଆରମ୍ଭ ହୋଇଥିଲେ ମଧ୍ୟ ୪୦ ଲକ୍ଷ ପରିବାର ଏ ପର୍ଯ୍ୟନ୍ତ ଚାଉଳ ପାଇ ନାହାନ୍ତି। ତେଣୁ ଏହି ପରିବାରଗୁଡ଼ିକୁ ତୁରନ୍ତ ଚାଉଳ ବଣ୍ଟନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ରାଜ୍ୟ ସରକାର ଇ-ଶ୍ରମିକ ଭାବରେ ପଞ୍ଜୀକରଣ କରିଥିବା ସବୁ ଶ୍ରମିକ ମାନଙ୍କୁ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ସାମିଲ କରିବା ପାଇଁ ପଦକ୍ଷେପ ନେଉଛନ୍ତି। ଇ-ଶ୍ରମିକରେ ପଞ୍ଜୀକୃତ ହୋଇଥିବା ୧କୋଟି ୩୦ଲକ୍ଷ ଶ୍ରମିକଙ୍କ ମଧ୍ୟରୁ ପ୍ରାୟ ସମସ୍ତେ ସାମିଲ ହୋଇଥିବା ବେଳେ ଆଉ ୧ଲକ୍ଷ ୩୧ ହଜାର ଶ୍ରମିକ ବାକି ରହିଛନ୍ତି। ସେମାନଙ୍କୁ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ତୁରନ୍ତ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।ବୈଠକରେ ୱାନ ନେସନ୍ ୱାନ ରେସନ ବ୍ୟବସ୍ଥା ସମ୍ପର୍କରେ ଆଲୋଚନା ହୋଇଥିଲା। ପ୍ରବାସୀ ଓଡିଆଙ୍କର ଇ-କେ.ୱାଇ.ସି ବ୍ୟବସ୍ଥାକୁ ତ୍ବରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

Leave A Reply

Your email address will not be published.

20 − four =