ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀରେ ସ୍ମାରକୀ ଡାକ ଟିକଟ ଓ ମୁଦ୍ରା ଉନ୍ମୋଚିତ

ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ସମାରୋହ ଗୁରୁବାର ନୂଆଦିଲ୍ଲୀର ବିଜ୍ଞାନ ଭବନରେ ପାଳିତ ହୋଇଯାଇଛି। ଏଥିରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବାବେଳେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ଥିଲେ। ଡକ୍ଟର ହରେକୃଷ୍ଣ ମହତାବଙ୍କ ସମ୍ମାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଏକ ସ୍ବତନ୍ତ୍ର ସ୍ମାରକୀ ଡାକ ଟିକଟ ଓ ମୁଦ୍ରା ଉନ୍ମୋଚନ କରାଯାଇଛି। ଏହା ସହିତ ଓଡ଼ିଆରେ ମୋନୋଗ୍ରାଫ୍, ଗାଁ ମଜଲିସର ଇଂରାଜୀ ଅନୁବାଦ ଏବଂ ଗାଁ ମଜଲିସର ହିନ୍ଦୀ ଅନୁବାଦ ମଧ୍ୟ ଉନ୍ମୋଚନ କରାଯାଇଛି।ସୂଚନାଯୋଗ୍ୟ,”ଉତ୍କଳ କେଶରୀ” ନାମରେ ପରିଚିତ ଡକ୍ଟର ହରେକୃଷ୍ଣ ମହତାବ ୧୮୯୯ ମସିହା ନଭେମ୍ବର ୨୧ ତାରିଖରେ ଓଡ଼ିଶାର ଆଗରପଡ଼ାଠାରେ ଜନ୍ମଗ୍ରହଣ କରିଥିଲେ। ସେ ଭାରତ ଇତିହାସରେ ଜଣେ ବହୁମୁଖୀ ନେତା ଥିଲେ। ସେ ଜଣେ ସ୍ୱାଧୀନତା ସଂଗ୍ରାମୀ, ରାଜନେତା, ଐତିହାସିକ, ଲେଖକ, ସମାଜ ସଂସ୍କାରକ ଏବଂ ସାମ୍ବାଦିକ ଭାବରେ ପରିଚିତ ଥିଲେ। ସ୍ୱାମୀ ବିବେକାନନ୍ଦ, ରାମକୃଷ୍ଣ ପରମହଂସ ଏବଂ ମହାତ୍ମା ଗାନ୍ଧୀଙ୍କ ଭଳି ବ୍ୟକ୍ତିତ୍ୱଙ୍କ ଦ୍ୱାରା ସେ ଗଭୀର ଭାବରେ ପ୍ରଭାବିତ ହୋଇଥିଲେ।

କଲେଜ ଜୀବନରୁ ସେ ସ୍ୱାଧୀନତା ଆନ୍ଦୋଳନରେ ଯୋଗ ଦେଇଥିଲେ। ଅସହଯୋଗ ଆନ୍ଦୋଳନ, ଲବଣ ସତ୍ୟାଗ୍ରହ ଇତ୍ୟାଦି କାର୍ଯ୍ୟକ୍ରମରେ ସକ୍ରିୟ ଭାବରେ ଅଂଶଗ୍ରହଣ କରିଥିଲେ। ସ୍ଵାଧୀନତା ଆନ୍ଦୋଳନରେ ସକ୍ରିୟତା ପାଇଁ ସେ ଏକାଧିକ ଥର ଗିରଫ ହୋଇଥିଲେ ଏବଂ ଓଡ଼ିଶାକୁ ଭାରତରେ ମିଶ୍ରଣ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ।

Leave A Reply

Your email address will not be published.

1 × 1 =