ବୀମାଭୁକ୍ତ ଚାଷୀମାନଙ୍କ ପାଇଁ ଫସଲ କ୍ଷତି ସମ୍ପର୍କରେ ସୂଚନା ଦେବା ପାଇଁ ସମୟ ଅବଧି କେନ୍ଦ୍ର ସରକାର ଆଉ ତିନି ଦିନ ବଢାଇଲେ । ବୀମାଭୁକ୍ତ ଚାଷୀମାନେ ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ବୀମା କମ୍ପାନୀମାନଙ୍କୁ ଫସଲ କ୍ଷତି ସମ୍ପର୍କରେ ସୂଚନା ଦେଇ ପାରିବେ । ଏଥିପାଇଁ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର କୃଷି ମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ରାଜ୍ୟରେ ଅଦିନିଆ ବର୍ଷା ଯୋଗୁଁ ଚାଷୀମାନେ ଫସଲ କ୍ଷତିର ସମ୍ମୁଖୀନ ହୋଇଥିବାରୁ ରାଜ୍ୟ ସରକାର କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ସହାୟତା ଦେବାପାଇଁ ଯୋଜନା କରିଛନ୍ତି । ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ବୈଠକ କରିବା ସହିତ ନୟାଗଡ, ଗଜପତି ଓ ଗଞ୍ଜାମ ଜିଲ୍ଲା ପରିଦର୍ଶନ କରି କ୍ଷୟକ୍ଷତି ଆକଳନ କରିଛନ୍ତି । ଅନ୍ୟ ମନ୍ତ୍ରୀମାନେ ମଧ୍ୟ କ୍ଷତିଗ୍ରସ୍ତ ଅଞ୍ଚଳକୁ ଗସ୍ତ କରିଛନ୍ତି ।ଉଭୟ ବୀମା କରିନଥିବା ଓ ବୀମା କରିଥିବା ଚାଷୀମାନଙ୍କୁ ସହାୟତା ଦିଆଯିବ । ବୀମା କରିଥିବା ଚାଷୀମାନଙ୍କୁ ଫସଲ କ୍ଷତି ସମ୍ପର୍କରେ ସୂଚନା ଦେବା ପାଇଁ ଡିସେମ୍ବର ୨୯ ଥିଲା ଶେଷ ତାରିଖ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟ ସରକାରଙ୍କ ପକ୍ଷରୁ କେନ୍ଦ୍ର କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରାଳୟକୁ ଏହି ଅବଧି ବଢାଇବାକୁ ଅନୁରୋଧ କରାଯାଇଥିଲା ।